ଜଗନ୍ନାଥଙ୍କର ସ୍ନାନ ଯାତ୍ରା ଦେବସ୍ନାନ ପୂର୍ଣ୍ଣିମା ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା , ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି , ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି I ଇତିହାସ ଦାରୁବ୍ରହ୍ମଙ୍କ ଲୀଳାକ୍ଷେତ୍ର ପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଉତ୍ସବ ବା ମଞ୍ଚସ୍ନାନ ଏକ ଶାସ୍ତ୍ରୀୟ ଭିତ୍ତ ଭୂମିର ଲୀଳା । ମହାପ୍ରଭୁଙ୍କ ଆବିର୍ଭାବ ବେଳେ ପ୍ରଥମେ ଏହି ସ୍ନାନ ହୋଇଥିବରୁ ଶ୍ରୀଦାରୁବ୍ରହ୍ମଙ୍କ ଆଦ୍ୟଲୀଳା ବୋଲି କୁହାଯାଏ । ମହାପ୍ରଭୁ ଦାରୁବ୍ରହ୍ମ ରୂପ ଧାରଣ କରିବା ପରେ ପ୍ରଥମ ମଙ୍ଗଳମୟ ମୁହୂର୍ତ୍ତରେ ଏହି ସ୍ନାନଲୀଳା କରାଇଥିଲେ ମହାରାଜା ଇନ୍ଦ୍ରଦ୍ୟୁମ । ...